ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ତୀର୍ଥ କ୍ଷେତ୍ର : ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସତ୍ୟଭାମାପୁରରେ ଉତ୍କଳ ଗୌରବ ମଧସୂଦନ ସଂଗ୍ରହାଳୟ ଓ ବାଖ୍ୟାନ କେନ୍ଦ୍ର ଲୋକାର୍ପିତ । ଏହି ସଂଗ୍ରହାଳୟରେ ମଧୁବାବୁଙ୍କ ଏନ୍ତୁଡ଼ି ଶାଳ, ପିଲା ଦିନର ବିରଳ ଫଟୋ, ଜନ୍ମ ଜାତକ, ଢ଼ିଙ୍କି ଆଦି ବିଭିନ୍ନ ବିରଳ ଜିନିଷ ସ୍ଥାନ ପାଇଛି।

Insight Bureau: ଉତ୍କଳର ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ ‘ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ରକୁ ଲୋକାର୍ପିତ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମଧୁ ବାବୁ ଥିଲେ ଓଡ଼ିଆ ସ୍ୱାଭିମାନର ପ୍ରତୀକ । ତାଙ୍କ ଜୀବନୀ ହେଉଛି ଓଡ଼ିଆ ସ୍ୱାଭିମାନ ର ଗୌରବମୟ ଗାଥା । ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉତ୍କଳ ଗୌରବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ  ସତ୍ୟଭାମାପୁର ହେଉଛି ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର । ଏହି ସଂଗ୍ରହାଳୟ ସମସ୍ତଙ୍କୁ ବିଶେଷ କରି ଯୁବ ପିଢିଙ୍କୁ ଓଡିଆ ସ୍ବାଭିମାନର ସୁରକ୍ଷା ପାଇଁ ପ୍ରେରଣା ଦେଇ ଚାଲିବ । ସତ୍ୟଭାମାପୁରକୁ ଏକ ଆଦର୍ଶ ଗ୍ରାମ ରୂପେ ବିକାଶ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଏହି ଗ୍ରାମକୁ ଏକ ଗୁରୁତ୍ବପୂର୍ଣ୍ଣ ପର୍ୟ୍ୟଟନସ୍ଥଳ ଭାବରେ ପରିଣତ କରିବା ପାଇଁ ସରକାରଙ୍କ ପଦକ୍ଷେପ ଜାରି ରହିବ ।

Support Independent Journalism? Keep us live.

ମଧୁବାବୁଙ୍କ ଆଦର୍ଶରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ କରିବାପାଇଁ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ।  ମଧୁବାବୁଙ୍କ ଜାତି ପ୍ରୀତି ଓ ତ୍ୟାଗର ତୁଳନା ନାହିଁ । ଓଡ଼ିଆ ଜାତି ପାଇଁ ମଧୁବାବୁ ତାଙ୍କର ସବୁ କିଛି ତ୍ୟାଗ କରିଯାଇଛନ୍ତି। ତାଙ୍କ ପାଇଁ ଓଡ଼ିଆ ସ୍ୱାଭିମାନ ଥିଲା ସବୁଠୁ ଉପରେ । ତା ସହ ସେ କେବେବି ସାଲିସ କରିନାହାନ୍ତି ଏବଂ ଏ ଜାତି ପାଇଁ ତାଙ୍କର ଅବଦାନ ତାଙ୍କୁ ଓଡ଼ିଆ ଙ୍କ ହୃଦୟରେ ଯୁଗ ଯୁଗ ପାଇଁ ଅମର କରି ରଖିବ ।

odisha-cm-naveen-patnaik-opens-utkal-gaurav-madhusudan-museum

ଓଡିଶାକୁ ମଧୁବାବୁଙ୍କ ଅବଦାନ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ , ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଭାଷାକୁ ଭିତ୍ତିକରି ରାଜ୍ୟ ଗଠନ ପାଇଁ ମଧୁ ବାବୁଙ୍କ ଉଦ୍ୟମ, ତାଙ୍କର ଦୂର ଦୃଷ୍ଟିର ପରିଚୟ ଦିଏ । ସ୍ବାଧୀନତା ପରେ ଭାଷା ସୂତ୍ରରେ ହିଁ ଭାରତର ଅନେକ ରାଜ୍ୟ ଗଠିତ ହୋଇଛି । କିନ୍ତୁ ସେତେବେଳେ ଓଡିଶା ଥିଲା ଭାଷା ଭିତିରେ ଭାରତର ପ୍ରଥମ ରାଜ୍ୟ । କାର୍ୟ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଲେ ଯେ ମଧୁ ବାବୁ ଥିଲେ ଓଡ଼ିଆ ଜାତିର ମୂଖ୍ୟ ପୁରୋଧା । ତାଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଆଜି ମଧୁ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି  । ଆଜି ସାରା ବିଶ୍ୱରେ ଥିବା ଓଡ଼ିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନ ବୋଲି ମନ୍ତ୍ରୀ ପ୍ରତାପ ଜେନା କହିଥିଲେ। ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସତ୍ୟଭାମାପୂର ଗାଁ ର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି । ସତ୍ୟଭାମାପୂରର ଉନ୍ନତି ପାଇଁ ନିଆ ଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । ଏହି ଅବସରରେ ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା । ଏହି ସଂଗ୍ରହାଳୟରେ ମଧୁବାବୁଙ୍କ ଏନ୍ତୁଡ଼ି ଶାଳ, ପିଲା ଦିନର ବିରଳ ଫଟୋ, ଜନ୍ମ ଜାତକ, ଢ଼ିଙ୍କି ଆଦି ବିଭିନ୍ନ ବିରଳ ଜିନିଷ ସ୍ଥାନ ପାଇଛି।

Comments are closed.